ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଶୁକ୍ରବାର ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଆସନ୍ତା ୨୨ ଅଗଷ୍ଟରୁ ୨୯ ଅଗଷ୍ଟ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ପଶ୍ଚିମ, ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ୩୦-୪୦କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା , ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି ।
